ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ;୪ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି
ରାଜ୍ୟରେ ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ପାଣି ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଏପରିକି ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ, ଚାଷ ଜମି ଅଞ୍ଚଳରେ ପାଣି ଜମିବା ସହ ସମ୍ବେଦନଶୀଳ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତେବେ ୩ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।
ସେହିପରି ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।
