କୋରାପୁଟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥି ସହିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ପୂରଣ ହେବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ସ୍ୱାସ୍ଥ୍ୟ ସେବା ପାଇଁ କୋରାପୁଟବାସୀଙ୍କୁ ଯେପରି ଆଉ ଦୂର ଦୁରାନ୍ତ ସହରକୁ ଯାଇ ହଇରାଣ ହରକତ ହେବାକୁ ନପଡେ ସେଥିପାଇଁ ଆମ ସରକାର ସମସ୍ତ ବ୍ୟବସ୍ଥା କରୁଛନ୍ତି । ଏହି ମେଡିକାଲ କଲେଜ ହସ୍ପିଟାଲ ଦ୍ବାରା କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲା ଏବଂ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକମାନେ ମଧ୍ୟ ଉପକୃତ ହେବେ। ଏହି ନୂଆ ହସ୍ପିଟାଲରେ ଆପଣମାନେ ସବୁପ୍ରକାରର ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇପାରିବେ ।
ସେ କହିଥିଲେ ଯେ ବିକାଶ ସହିତ ଦୁର୍ନୀତିମୁକ୍ତ ଶାସନ ଦେବା ଆମର କର୍ତ୍ତବ୍ୟ । ଆମ ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ପ୍ରାଥମିକତା ଦେଉଛନ୍ତି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବର୍ଷ ବର୍ଷ ଧରି ଖାଲି ପଡିଥିବା ପଦବୀ ଅଗ୍ରାଧିକାର ଭିତ୍ତିରେ ପୂରଣ କରାଯାଉଛି । ରାଜ୍ୟରେ ବର୍ତ୍ତମାନ ୧୨ ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍ଶୀଘ୍ର ଆଉ ୪ଟି ଜିଲ୍ଲା ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ ।
